କାର୍ତ୍ତିକ ପୂର୍ଣ୍ଣିମା - ଅକ୍ଷୟ ଓଝା



ଆମେ ଓଡ଼ିଆ, ଅତୁଲ୍ୟ ଆମ ସଂସ୍କୃତି। କାର୍ତ୍ତିକ ପୂର୍ଣ୍ଣମା, ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ ‌। ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଓତପ୍ରୋତ ଭାବେ ଜଡ଼ିତ । 

     ଗୌରବମୟ ଉତ୍କଳର ପ୍ରାଚୀନ ଇତିହାସ ସହିତ ଏହା ଏତେ ନିବିଡ଼ ଭାବରେ ସଂପୃକ୍ତ ଯେ ଏହି ଦିବସର ଗୁରୁତ୍ୱକୁ ବାଦ ଦେଲେ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ସମ୍ପର୍କରେ ଚିନ୍ତା ବି କରାଯାଇ ପାରେ ନାହିଁ । ଅତଏବ ଧର୍ମଗତ ତଥା ଐତିହାସିକ ଉଭୟ ଦୃଷ୍ଟିକୋଣରୁ ଏହାର ମୂଲ୍ୟବୋଧ ଅତୀବ ବୈଶିଷ୍ଟ୍ୟ ପରିପୂର୍ଣ୍ଣ ।

ରାସ ପୂର୍ଣ୍ଣିମା

     ବିଶ୍ୱଜନନୀ କରୁଣାମୟୀ ମା ଦୁର୍ଗାଙ୍କ ଶାରଦୀୟ ବନ୍ଦନା ପରେପରେ ଚନ୍ଦ୍ର ଏବଂ ମା କାଳୀଙ୍କ ଆରାଧନା ଅତ୍ୟନ୍ତ ଆଡ଼ମ୍ବର ସହକାରେ ସମାହିତ ହୁଏ । ଦେବ ସେନାପତି ଚିର କୁମାର କାର୍ତ୍ତିକେୟଙ୍କ ଆରାଧନା ଏହି ମାସରେ ଅତ୍ୟନ୍ତ ଉତ୍ସାହର ସହିତ ସମ୍ପାଦିତ ହୁଏ ଓଡ଼ିଶାର ପୁରପଲ୍ଲୀରେ ।
ଓଡ଼ିଶାର ଆଦିକବି ଶୂଦ୍ରମୁନି ସାରଳା ଦାସ ରଚିତ ମହାଭାରତର ଆଦିପର୍ବରେ କାର୍ତ୍ତିକ ମାସର ପବିତ୍ରତା ସମ୍ପର୍କରେ ବର୍ଣ୍ଣନା କରିଛନ୍ତି । ଏହିପର୍ବରେ ବର୍ଣ୍ଣିତ କାର୍ତ୍ତିକ ପୂର୍ଣ୍ଣିମା ଦିନ ଭୋଜରାଜ ଓ ଭୀଷ୍ମଙ୍କ ଗଙ୍ଗାସ୍ନାନ ଯାତ୍ରା ପ୍ରସଙ୍ଗରୁ ଜଣାଯାଏ ଯେ,କାର୍ତ୍ତିକ ମାସରେ ମୃତ୍ୟୁବରଣ କଲେ ବୈକୁଣ୍ଠ ପ୍ରାପ୍ତି ହୁଏ । ପୁନଶ୍ଚ କାର୍ତ୍ତିକ ଏକ ଧର୍ମ ମାସ ରୂପେ ମଧ୍ୟ ପରିଚିତ ।
        ଏହି ମାସରେ ବୟସ୍କ ତଥା ଧର୍ମପ୍ରାଣ ଆବାଳ- ବୃଦ୍ଧ- ବନିତା ପ୍ରତ୍ୟହ ପ୍ରାତଃକାଳରେ ସ୍ନାନ ସମାପନ ପୂର୍ବକ ଦେବ ଦର୍ଶନ ଏବଂ ନଗର ସଂକୀର୍ତ୍ତନରେ ଆତ୍ମବିଭୋର ହୋଇ ଉଠୁଥିବାର ଦେଖାଯାଏ । ପୂର୍ଣ୍ଣିମା ପାଞ୍ଚଦିନ ପଞ୍ଚକ ପର୍ବ ବା ମହାପଞ୍ଚକ ନାମରେ ପରିଚିତ । ଏହି ପାଞ୍ଚଦିନ ପ୍ରତ୍ୟେକ ହିନ୍ଦୁ ଆମିଷ ପରିହାର ପୂର୍ବକ ଶ୍ରଦ୍ଧା ଭାବନା ତଥା ଧର୍ମୀୟ ମନୋଭାବରେ ଦେବତାଙ୍କୁ ପୂଜା କରିଥାନ୍ତି । କୁହାଯାଏ ଯେ ଏହି ପାଞ୍ଚଦିନକାଳ ବଗ ମଧ୍ୟ ଆମିଷ ସ୍ପର୍ଶ କରେ ନାହିଁ । ସେ ଯାହା ହେଉନା କାହିଁକି ଏହି ମାସର ଶୁକ୍ଳପକ୍ଷ ଏକାଦଶୀ ବା ବଡ ଏକାଦଶୀ ଠାରୁ ପୂର୍ଣ୍ଣମୀ ପାଞ୍ଚଦିନ ଧରି ଅନୁଷ୍ଠିତ ମହାପଞ୍ଚକ ହିନ୍ଦୁମାନଙ୍କ ପାଇଁ ଧର୍ମଗତ ଦୃଷ୍ଟିକୋଣରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । 
       କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ପିଣ୍ଡ ପ୍ରଦାନ ଓଡ଼ିଶାରେ ସଂପ୍ରତି ପ୍ରଚଳିତ ନାହିଁ ସତ୍ୟ, ମାତ୍ର ବ୍ରତ ପାଳନ ଏବେ ବି ଓଡ଼ିଆ ପରମ୍ପରାରେ ଅନୁସୃତ । ଏହି ଦିନ ମହିଳାମାନେ ରାଇ- ଦାମୋଦର ବ୍ରତର ଉଦ୍ ଯାପନ କରିଥାନ୍ତି । ବିଧବାମାନଙ୍କ ପକ୍ଷରେ ଏହି ମାସଟି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ I ସେମାନେ ହବିଷ୍ୟ ପାଳନ ପୂର୍ବକ ପ୍ରତ୍ୟହ ସନ୍ଧ୍ୟାରେ ଆକାଶଦୀପ ପ୍ରଜ୍ଜଳନ କରିଥାନ୍ତି । 
     ପ୍ରତ୍ୟେକ ଦିନ ପ୍ରତ୍ୟୁଷରୁ ଶଯ୍ୟାତ୍ୟାଗକରି ସ୍ନାନ କରି ସେମାନେ ଦେବଦେବୀ ଦର୍ଶନ ପାଇଁ ଯାଆନ୍ତି ଏବଂ ଦେବାଳୟରୁ ଫେରିବା ପରେ କାର୍ତ୍ତିକ ମାହାତ୍ମ୍ୟ ପାଠ ବା ଶ୍ରବଣରେ ମନଦିଅନ୍ତି । ତୁଳସୀ ବୃକ୍ଷକୁ ଏହିମାସରେ ଅତ୍ୟନ୍ତ ଭକ୍ତି ସହକାରେ ଆରାଧନା କରାଯାଏ । 
ଜୟ ଉତ୍କଳ,
ଜୟ ଉତ୍କଳୀୟ ପରମ୍ପରା ।

ରାଇଁଲୋ, ନୂଆପଡ଼ା, ଆଳି , 
କେନ୍ଦ୍ରାପଡା, ମୋ : 88551134176                

Post a Comment

0 Comments